ପୌରାଞ୍ଚଳର ବିକାଶ ଲାଗି ମେୟର ଓ ପୌରାଧ୍ୟକ୍ଷଙ୍କୁ ଟିପ୍ସ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଦ କୁଇଭର): ମହାନଗର, ପୌରାଞ୍ଚଳ ବିକାଶ ପ୍ରକ୍ରିୟାର ବିନ୍ଧାଣି ହେଉଛନ୍ତି ମେୟର ଓ ପୌରାଧ୍ୟକ୍ଷ । ମେୟର ଓ ପୌରାଧ୍ୟକ୍ଷଙ୍କୁ ସଠିକ ମାର୍ଗଦର୍ଶନ ମିଳିଲେ ସହରାଞ୍ଚଳର ବିକାଶ ତ୍ବରାନିତ୍ବ ହୋଇପାରିବ । ଏହାକୁ ଦୃଷ୍ଟିରେ ଦେଖି ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ଚାଲିବ ମେୟର ଓ ପୌରାଧ୍ୟକ୍ଷଙ୍କ କର୍ମଶାଳା ।

ନବ ନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ନେଇ ଆୟୋଜନ ହେଇଛି ଦୁଇଦିନିଆ କର୍ମଶାଳା । ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷମାନଙ୍କ ପାଇଁ ଆୟୋଜିତ ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ସେ କହିଥିଲେ ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ । ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର ।

ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶମୁଖି ଦେଶମାନଙ୍କ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ୟ୍ୟକ୍ରମ କାର୍ୟ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ହୋଇପାରିଛି । ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା, ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କ ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ନିଜ ଭାଷଣରେ ଗୁରୁତ୍ୱାରୋପ କରିଥିଲେ ।

ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି। ଏ ପର୍ୟ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି (bhumi) ଅଧିକାର ଦିଆଯାଇଥିବାବେଳେ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି । ସେହିପରି ସୁଜଳ କାର୍ୟ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳେ ରାଜ୍ୟର କୋଡିଏଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ସେହିପରି କୋଭିଡ ସମୟରେ ସହରର ଗରିବ ଲୋକଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ। ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମିଶନ ଶକ୍ତି ଓ ବସ୍ତି ବିକାଶ ସଙ୍ଗଠନ ଜରିଆରେ ଚାଲିଥିବା ଏହି କାର୍ୟ୍ୟକ୍ରମ ବେଶ ଲୋକପ୍ରିୟ ହୋଇପାରିଛି। ଏହାବାଦ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସହରାଞ୍ଚଳ ବିକାଶ ନିମନ୍ତେ 5Tର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ ଏହାକୁ ନିଷ୍ଠାର ସହ କାର୍ୟ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦିଅ । ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ଏହାସହ କାର୍ୟ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ବିଭାଗୀୟ ସଚିବ ଜି ମାଥି ଭାତ ନାନ ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *